Cyclone Alert-coastal and southern dists Placed Under high alert
ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶାରେ ସତର୍କତା ଜାରି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛନ୍ତି । ନଭେମ୍ବର ୧୭ରୁ ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି ।
 
ବିଶେଷକରି ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ SRC ପକ୍ଷରୁ ସତର୍କ କରାଯାଇଛି । ବର୍ତ୍ତମାନ ସମୁଦ୍ରରେ ଥିବା ସମସ୍ତ ମତ୍ସ୍ୟଜୀବୀଙ୍କୁ ନଭେମ୍ବର ୧୫ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।
 
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ସମୁଦ୍ରରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିଥିବା ବେଳେ ଝଟକା ପବନର ବେଗ ୬୫ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ଏଭଳି ପାଣିପାଗ ସ୍ଥିତିରେ ସମୁଦ୍ରକୁ ଯିବା ବିପଦପୂର୍ଣ୍ଣ ହୋଇପାରେ ।
 
ସମ୍ଭାବ୍ୟ ବାତ୍ୟାର ପ୍ରଭାବକୁ ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜିଲ୍ଲାୱାରୀ ସତର୍କ ସୂଚନା ଜାରି ହୋଇଛି ।
 
ନଭେମ୍ବର ୧୮ ତାରିଖ ପାଇଁ ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନଭେମ୍ବର ୧୯ ତାରିଖ ପାଇଁ କନ୍ଧମାଳ, ରାୟଗଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ନୟାଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।
 
ଏହାବ୍ୟତୀତ ନଭେମ୍ବର ୨୦ ତାରିଖ ପାଇଁ ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।
 
ସମ୍ଭାବ୍ୟ ବାତ୍ୟାର ଗତିପଥ ଓ ତୀବ୍ରତା ଉପରେ ପାଣିପାଗ ବିଭାଗ ନଜର ରଖିଥିବା ବେଳେ ପରିସ୍ଥିତି ଅନୁଯାୟୀ ପରବର୍ତ୍ତୀ ସତର୍କ ସୂଚନା ଜାରି କରାଯିବ । ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳର ଲୋକେ ଏବଂ ମତ୍ସ୍ୟଜୀବୀମାନେ ପ୍ରଶାସନର ନିର୍ଦ୍ଦେଶ ପାଳନ କରିବାକୁ ପରାମର୍ଶ ଦିଆଯାଇଛି ।

By Nirvay

Leave a Reply

Your email address will not be published. Required fields are marked *