ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ୍ ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ବିମାନବନ୍ଦରରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହି ଉପରାଷ୍ଟ୍ରପତିଙ୍କୁ ସ୍ୱାଗତ ଜଣାଇଛନ୍ତି। ଉପରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ଭୁବନେଶ୍ୱର ଏବଂ କଟକରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବା ସହ ଟ୍ରାଫିକ୍ କଟକଣା ଲାଗୁ କରାଯାଇଛି। ଉପରାଷ୍ଟ୍ରପତି ସପ୍ତଦଶ ଓଡ଼ିଶା ବିଧାନସଭାର ବିଧାୟକମାନଙ୍କ ପାଇଁ ଆୟୋଜିତ ଏକ ସ୍ୱତନ୍ତ୍ର ତାଲିମ ଓ ଓରିଏଣ୍ଟେସନ୍ କାର୍ଯ୍ୟକ୍ରମରେ ଯୋଗଦେଇ ଉଦ୍ବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ଏହାପରେ ଅପରାହ୍ନରେ ସେ କଟକ ଗସ୍ତ କରି ସେଠାକାର ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ନୂତନ ‘ଆଇକନିକ୍ ଟାୱାର’ ର ଶୁଭ ଉଦ୍ଘାଟନ କରିବେ। ରାଜ୍ୟର ସମସ୍ତ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଶେଷ କରିବା ପରେ ଆଜି ସନ୍ଧ୍ୟାରେ ଉପରାଷ୍ଟ୍ରପତି ପୁଣି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି। Post navigation भारत में होगा 2029 चैंपियंस ट्रॉफी और 2031 वनडे विश्व कप