ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତାକାଲିଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତିଙ୍କ ଏହି ଗସ୍ତକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ରାଜଧାନୀ ଭୁବନେଶ୍ୱର ଏବଂ କଟକରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତାକାଲି ଦିନ ୧୨ଟା ୩୦ ମିନିଟ୍ ସମୟରେ ରାଷ୍ଟ୍ରପତି ଏକ ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ। ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବା ପରେ ସେ ରାଜଭବନ ଅଭିମୁଖେ ଯାତ୍ରା କରିବେ। ଏହାପରେ ଅପରାହ୍ନ ୪ଟା ସମୟରେ ରାଷ୍ଟ୍ରପତି କଟକ ଗସ୍ତ କରି ଐତିହାସିକ ବାଲିଯାତ୍ରା ପଡ଼ିଆ ବୁଲି ଦେଖିବାର କାର୍ଯ୍ୟକ୍ରମ ରହିଛି। ବାଲିଯାତ୍ରାର ବିଭିନ୍ନ ଷ୍ଟଲ୍ ପରିଦର୍ଶନ କରିବା ସହ ଓଡ଼ିଶାର ସମୃଦ୍ଧ ନୌବାଣିଜ୍ୟ ପରମ୍ପରାର ଝଲକ ଦେଖି ସେ ସନ୍ଧ୍ୟାରେ ପୁଣି ଭୁବନେଶ୍ୱର ଫେରିଆସିବେ।

ଗସ୍ତର ଦ୍ୱିତୀୟ ଦିନ ଅର୍ଥାତ୍ ୨୫ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଡଃ ଅଭିନ ଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଏହି ଅବସରରେ ସେ କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

ଅନ୍ୟପକ୍ଷରେ, ରାଷ୍ଟ୍ରପତିଙ୍କ ଗସ୍ତକୁ ଶୃଙ୍ଖଳିତ ଓ ସୁରକ୍ଷିତ କରିବା ପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ରାଜଧାନୀ ଭୁବନେଶ୍ୱର ଏବଂ କଟକରେ ବ୍ଲୁ-ବୁକ୍ ଅନୁଯାୟୀ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। କେବଳ ରାଜଧାନୀରେ ସୁରକ୍ଷା ଦାୟିତ୍ୱ ତଦାରଖ କରିବା ପାଇଁ ୪୮ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯାଇଥିବା ବେଳେ ୧୨୦ ଜଣ ବରିଷ୍ଠ ପୋଲିସ ଅଫିସରଙ୍କୁ ନିୟୋଜିତ କରାଯାଇଛି। ବିମାନବନ୍ଦରରୁ ରାଜଭବନ ଏବଂ କଟକ ଯିବା ରାସ୍ତାରେ ଟ୍ରାଫିକ୍ ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି।

 

Leave a Reply

Your email address will not be published. Required fields are marked *