ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥା ଗୁଡ଼ିକରେ (ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ ଶିକ୍ଷାଗତ ଭାବେ ପଛୁଆ ବର୍ଗର ଲୋକଙ୍କ ସଂଖ୍ୟା, ସେମାନଙ୍କ ରାଜନୈତିକ ପ୍ରତିନିଧିତ୍ୱ ଏବଂ ସେହି ସବୁ ସଂସ୍ଥାରେ ସେମାନେ ରାଜନୈତିକ ଭାବେ କେତେ ପଛୁଆ ସେ ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ କମିଶନ ଗଠନ କରାଯାଇଛି । ରାଜ୍ୟ ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ଏ ସମ୍ପର୍କରେ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଓଡିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ୍ ପ୍ରମଥ ପଟ୍ଟନାୟକଙ୍କୁ ଏହି କମିଶନର ଅଧ୍ୟକ୍ଷ ଅଛନ୍ତି । ଏଥିସହିତ ଅବସରପ୍ରାପ୍ତ ଆଇଏଏସ ବିଜୟ କୁମାର ପୃଷ୍ଟି ଏହି କମିଶନର ସଦସ୍ୟ ଭାବେ କାର୍ଯ୍ୟ କରିବେ । ବିଭାଗର ସ୍ୱତନ୍ତ୍ର ସଚିବ ସୁଜାତା ମିଶ୍ର କମିଶନ’ର ସଦସ୍ୟ ସଚିବ ଭାବେ କାର୍ଯ୍ୟ କରିବେ ।

ଏହି କମିଶନ ରାଜ୍ୟର ଉଭୟ ଗ୍ରାମାଞ୍ଚଳ ଓ ପୌରାଞ୍ଚଳରେ ଥିବା ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥା ଗୁଡ଼ିକରେ, ସେ ଅଞ୍ଚଳର ସମୁଦାୟ ଲୋକସଂଖ୍ୟା ତୁଳନାରେ SEBC ମାନଙ୍କର ସଂଖ୍ୟାର ଅନୁପାତ ସମ୍ପର୍କରେ ଅନୁଧ୍ୟାନ କରିବ । ଏହା ସହିତ ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥା ଗୁଡ଼ିକରେ ସେମାନଙ୍କ ରାଜନୈତିକ ପ୍ରତିନିଧିତ୍ୱ ଏବଂ ସେହି ତୁଳନାରେ ସେମାନେ ରାଜନୈତିକ ଦୃଷ୍ଟିକୋଣରୁ କେତେ ପଛୁଆ ଅଛନ୍ତି, ତା’ର ସ୍ୱରୂପ ଓ ତାହାର ପ୍ରଭାବ (nature and implication of political backwardness) ସମ୍ପର୍କରେ ମଧ୍ୟ ଅନୁଧ୍ୟାନ କରାଯିବ ।

ଏହାଦ୍ୱାରା ରାଜ୍ୟରେ ସାମାଜିକ ଓ ଶିକ୍ଷାଗତ ପଛୁଆ ବର୍ଗର ଜନସାଧାରଣଙ୍କର ସ୍ଥାନୀୟ ସ୍ୱାୟତ୍ତ ଶାସନ ସଂସ୍ଥା ଗୁଡ଼ିକରେ ଉପଯୁକ୍ତ ପ୍ରତିନିଧିତ୍ୱ ଓ ସେମାନଙ୍କ ଅଧିକାର ସମ୍ପର୍କରେ ଉପଯୁକ୍ତ ବ୍ୟବସ୍ଥା କରାଯାଇପାରିବ । ସୂଚନାଯୋଗ୍ୟ ଯେ, ପୂର୍ବରୁ ମୁଖ୍ୟମନ୍ତ୍ରୀ ଏହି ବର୍ଗର ଛାତ୍ରଛାତ୍ରୀ ମାନଙ୍କ ପାଇଁ ଇଞ୍ଜିନିଅରିଙ୍ଗ୍ ଓ ମେଡିକାଲ ପରି ବୃତ୍ତିଗତ ଉଚ୍ଚଶିକ୍ଷା ଅନୁଷ୍ଠାନ ଗୁଡ଼ିକରେ ୧୧.୨୫ ପ୍ରତିଶତ ସଂରକ୍ଷଣ’ର ବ୍ୟବସ୍ଥା କରିଛନ୍ତି ।

By Nirvay

Leave a Reply

Your email address will not be published. Required fields are marked *