ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟାକୁ ନେଇ ଓଡ଼ିଶାରେ ସତର୍କତା ଜାରି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିଶନର (SRC) ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛନ୍ତି । ନଭେମ୍ବର ୧୭ରୁ ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦିଆଯାଇଛି । ବିଶେଷକରି ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଓଡିଶାର ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ SRC ପକ୍ଷରୁ ସତର୍କ କରାଯାଇଛି । ବର୍ତ୍ତମାନ ସମୁଦ୍ରରେ ଥିବା ସମସ୍ତ ମତ୍ସ୍ୟଜୀବୀଙ୍କୁ ନଭେମ୍ବର ୧୫ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ସମୁଦ୍ରରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟର ରହିଥିବା ବେଳେ ଝଟକା ପବନର ବେଗ ୬୫ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ଏଭଳି ପାଣିପାଗ ସ୍ଥିତିରେ ସମୁଦ୍ରକୁ ଯିବା ବିପଦପୂର୍ଣ୍ଣ ହୋଇପାରେ । ସମ୍ଭାବ୍ୟ ବାତ୍ୟାର ପ୍ରଭାବକୁ ନେଇ ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଜିଲ୍ଲାୱାରୀ ସତର୍କ ସୂଚନା ଜାରି ହୋଇଛି । ନଭେମ୍ବର ୧୮ ତାରିଖ ପାଇଁ ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ନଭେମ୍ବର ୧୯ ତାରିଖ ପାଇଁ କନ୍ଧମାଳ, ରାୟଗଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ନୟାଗଡ଼, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହାବ୍ୟତୀତ ନଭେମ୍ବର ୨୦ ତାରିଖ ପାଇଁ ମଧ୍ୟ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସମ୍ଭାବ୍ୟ ବାତ୍ୟାର ଗତିପଥ ଓ ତୀବ୍ରତା ଉପରେ ପାଣିପାଗ ବିଭାଗ ନଜର ରଖିଥିବା ବେଳେ ପରିସ୍ଥିତି ଅନୁଯାୟୀ ପରବର୍ତ୍ତୀ ସତର୍କ ସୂଚନା ଜାରି କରାଯିବ । ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳର ଲୋକେ ଏବଂ ମତ୍ସ୍ୟଜୀବୀମାନେ ପ୍ରଶାସନର ନିର୍ଦ୍ଦେଶ ପାଳନ କରିବାକୁ ପରାମର୍ଶ ଦିଆଯାଇଛି । Post navigation BJD Suspends Dillip Kumar Nayak: ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜେଡିରୁ ନିଲମ୍ବିତ ହେଲେ ଦିଲ୍ଲୀପ କୁମାର ନାୟକ