ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଆହୁରି ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି। ଭାରତୀୟ ପାଣିପାଗ ବିଭାଗ (IMD)ର ସୂଚନା ଅନୁଯାୟୀ, ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଏହି ପ୍ରଣାଳୀ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଅଧିକ ଶକ୍ତିଶାଳୀ ହୋଇ ପୂର୍ବ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବସ୍ଥାନ କରୁଛି। ଏହି ସିଷ୍ଟମ୍ଟି କ୍ରମାଗତ ଭାବେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଅବପାତର ରୂପ ନେବାର ବହୁ ସମ୍ଭାବନା ରହିଛି। ଏହାପରେ ଆହୁରି ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହୋଇପାରେ। ଏହି ନିରନ୍ତର ଗତିପଥ ବଜାୟ ରଖି ଆସନ୍ତା ସେପ୍ଟେମ୍ବର ୨୩ ତାରିଖ ସକାଳ ସୁଦ୍ଧା ଏହା ଦକ୍ଷିଣ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ପଶ୍ଚିମ-କେନ୍ଦ୍ରୀୟ ତଥା ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ପହଞ୍ଚିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ପରିମାଣ ବୃଦ୍ଧି ପାଇବା ସହିତ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ବଢ଼ିବାର ସମ୍ଭାବନା ରହିଛି। ଅନ୍ୟପଟେ ଆଜି ରାଜ୍ୟର କିଛି ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବର୍ଷା ସହ ବିଜୁଳି,ଘଡ଼ଘଡ଼ି ସହ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ନୂଆପଡ଼ା,କଳାହାଣ୍ଡି,ରାୟଗଡ଼ା,କୋରାପୁଟ,ମାଲକାନାଗିରି,ଗଜପତି,ଗଞ୍ଜାମ,ପୁରୀ,ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂଜାରି କରାଯାଇଛି। ସେହିପରି ମଙ୍ଗଳବାର ଅର୍ଥାତ୍ ୨୨ ତାରିଖରେ ଗଜପତି,ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ପଶ୍ଚିମ ଓଡ଼ିଶା ବ୍ୟତୀତ ରାଜ୍ୟର ଅଧିକାଂଶ ଅଂଚଳରେ ବର୍ଷା ହୋଇପାରେ। ୨୩ ତାରିଖ ଅର୍ଥାତ୍ ବୁଧବାର ଦିନ କନ୍ଧମାଳ,ଗଜପତି,ଗଞ୍ଜାମ ଓ ପୁରୀ ଜିଲ୍ଲାରେ ଅତିରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସବୁ ସ୍ଥାନକୁ ପାଣିପାଗ ବିଭାଗ ପକ୍ଷରୁ ରେଡ୍ ୱାର୍ଣ୍ଣିଂଜାରି କରାଯାଇଛି। ଏଥିସହ ଜଗତସିଂହପୁର, କଟକ, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନାଗିରି, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରିଛି ପାଣିପାଗ ବିଭାଗ। ବୁଧବାର କନ୍ଧମାଳ,ଗଜପତି,ଗଞ୍ଜାମ,ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୫୦ରୁ ୬୦ କିଲୋମିଟର ବେଗରେ ଝଡ଼ ପବନ ବୋହିପାରେ। Post navigation Choudwar Jail Superintendent Arrested: ବନ୍ଧା ହେଲେ ଚୌଦ୍ୱାର ଜେଲ୍ ଅଧୀକ୍ଷକ ସୁଜିତ କୁମାର ରାଉଳ All-Party Meet Today: ଆଜି ବସିବ ସର୍ବଦଳୀୟ ବୈଠକ