କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ହୋଇଛି ଆୟୋଜନ ହେଉଛି ଭବ୍ୟ ସମାହର । ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଅପରାହ୍ନ ୪ଟା ୪୫ ମିନିଟ୍‌ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏଥିରେ ମୋହନ, କନକ ବର୍ଦ୍ଧନ ଏବଂ ପ୍ରଭାତୀଙ୍କ ସମେତ ନୂଆ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ଶପଥ ନେବେ।

ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, କେତେଜଣ କେନ୍ଦ୍ରମନ୍ତ୍ରୀ, ଅନ୍ୟ କେତେକ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେବେ।

ଗତକାଲି ବିଜେପି ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା ହେବା ପରେ ତାଙ୍କୁ ଅର୍ଡର ଅଫ୍ ଆପଏଣ୍ଟମେଣ୍ଟ ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ। ଏଥିସହ ତାଙ୍କୁ ରାଜ୍ୟରେ ସରକାର ଗଠନ ଲାଗି ଆମନ୍ତ୍ରଣ କରିଛନ୍ତି।

ଶପଥ ଗ୍ରହଣ ସମାରୋହ ଲାଗି କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ରାଜଧାନୀ ଭୁବନେଶ୍ୱର । ଉତ୍ସବ ଲାଗି ୬୭ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। ତମାମ କାର୍ଯ୍ୟକ୍ରମ ପରିଚାଳନା ଲାଗି ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ୱ ମିଳିଛି । କେବଳ ଜନତା ମଇଦାନ ସୁରକ୍ଷାର ତଦାରଖ କରିବେ ଆଇଜି ପ୍ରବୀଣ କୁମାର । ସେହିଭଳି ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଏୟାରପୋର୍ଟ ଏବଂ ଉମାଶଙ୍କର ଦାସ ଟ୍ରାଫିକ ପରିଚାଳନା କଥା ବୁଝିବେ । ମୋଟ ୧୩ ଡିସିପି, ୧୮ ଏଡିସିପି ରାଙ୍କ ଅଧିକାରୀ ଅନ୍ୟାନ୍ୟ ସୁରକ୍ଷା ଓ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ ରହିବେ। ଦିନ ୨ଟାରୁ ୭ଟା ପର୍ଯ୍ୟନ୍ତ ସଂପୃକ୍ତ ଅଞ୍ଚଳରେ ଟ୍ରାଫିକ କଟକଣା ଲାଗି ରହିବ। ଜୟଦେବ ବିହାରରୁ ନାଲକୋ ଛକ ଏବଂ ସଂଲଗ୍ନ ଗଳି ରାସ୍ତାରେ ଗାଡ଼ି ଚଳାଚଳ ଉପରେ ମଧ୍ୟ କଟକଣା ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *