ଆଗାମୀ ସ୍ୱତନ୍ତ୍ର ଅଧିବେଶନକୁ ନେଇ ଜାତୀୟ ରାଜନୀତି ସରଗରମ ହୋଇଉଠିଥିବା ବେଳେ ପୁଣି ଥରେ ସୀମା ପୁନଃନିର୍ଦ୍ଧାରଣ ପ୍ରସଙ୍ଗକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତା ୩୦ ତାରିଖରେ ସଂସଦର ଲୋକସଭା ଏବଂ ୨ ତାରିଖରେ ରାଜ୍ୟସଭାର ସ୍ୱତନ୍ତ୍ର ଅଧିବେଶନ ବସିବାକୁ ଯାଉଛି। ଏହାକୁ ନେଇ ରାଜନୈତିକ ମହଲରେ ବିଭିନ୍ନ କଳ୍ପନାଜଳ୍ପନା ଚାଲିଥିବା ବେଳେ ବିଜୁ ଜନତା ଦଳ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି।

ରାଜ୍ୟସଭାରେ ବିଜେଡି ସଂସଦୀୟ ଦଳ ନେତା ମାନସ ମଙ୍ଗରାଜ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ଆଗାମୀ ସ୍ୱତନ୍ତ୍ର ଅଧିବେଶନରେ ନିର୍ଦ୍ଦିଷ୍ଟ ଭାବେ କେଉଁ ପ୍ରସଙ୍ଗ ଉପରେ ଆଲୋଚନା ହେବ, ସେ ନେଇ ଦଳକୁ ଏପର୍ଯ୍ୟନ୍ତ କୌଣସି ସୂଚନା ମିଳିନାହିଁ।

ଏ ସମ୍ପର୍କରେ ବିସ୍ତୃତ ତଥ୍ୟ ଓ ସୂଚନା ମିଳିବା ପରେ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ସଂସଦୀୟ ଦଳ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରିବ । ବିଜେଡି ସର୍ବଦା ରାଜ୍ୟ ସ୍ୱାର୍ଥକୁ ପ୍ରାଥମିକତା ଦେଇ ଆସିଛି ଓ ଭବିଷ୍ୟତରେ ବି ଏଥିରୁ କଦାପି ବିଚୁ୍ୟତ ହେବ ନାହିଁ ବୋଲି ମାନସ ମଙ୍ଗରାଜ କହିଛନ୍ତି ।

Leave a Reply

Your email address will not be published. Required fields are marked *