ରାଜ୍ୟରେ ଆଗାମୀ ୫ ଦିନ ଯାଏ କାଳବୈଶାଖୀ ବର୍ଷା ଲାଗି ରହିବ । ଏଥିସହ ଦିନର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୨, ୨୩ ଓ ୨୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବା ନେଇ ହୋଇଛି ଆକଳନ। ୨୩ ଓ ୨୪ ତାରିଖରେ କାଳବୈଶାଖୀ ପ୍ରଭାବରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା ରହିଛି । କିଛି ସ୍ଥାନରେ ୪୦ରୁ ୫୦ କିଲୋମିଟର ବେଗରେ ମଧ୍ୟ ପବନ ବହିପାରେ । ସେହିପରି ୨୨ ତରିଖରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ମଧ୍ୟ ଆକଳନ କରିଛି ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ, କୁଆପଥର ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝଡ଼ ପବନ ନେଇ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ନୂଆପଡ଼ା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ୪୮ ଘଂଟା ମଧ୍ୟରେ ଏହା ଅଧିକ ଘନିଭୂତ ହେବା ସହ ୨୪ ତାରିଖରେ ଅବପାତର ରୂପ ନେଇପାରେ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

୨୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲ୍ଲାକୁ କାଳବୈଶାଖୀ ନେଇ ୟେଲୋ ଆଲର୍ଟ ଦିଆଯାଇଛି । ୨୨ ତାରିଖରେ କାଳବୈଶାଖୀ ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଥିବା ବେଳେ ୨୩ରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ୨୪ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ କାଳବୈଶାଖୀ ନେଇ ପାଣିପାଗ ବିଭାଗ ଜାରି କରିଛି ୟେଲୋ ୱାର୍ଣ୍ଣିଂ ।

ଆଗାମୀ ୫ ଦିନ ଯାଏ ଦିନର ସର୍ବୋଚ୍ଚ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ତଥାପି ଆଗାମୀ ୨୪ ଘଣ୍ଟାରେ ରାଜ୍ୟର କେତେକ ସ୍ଥାନର ପାରଦ ୪୨ ଡିଗ୍ରୀ ଉପରେ ରହିବ । ଆଭ୍ୟନ୍ତରୀଣ ଓଡ଼ିଶାରେ ଆଗାମୀ ୪ ଦିନ ଯାଏ ତାପମାତ୍ରା ୪୨ ଡିଗ୍ରୀ ଉପରେ ରହିବା ସହ ଅସ୍ୱାଭାବିକ ପାଗ ଲାଗି ରହିବ ।

Leave a Reply

Your email address will not be published. Required fields are marked *