ସୁସ୍ଥ ହୋଇଛନ୍ତି ମହାପ୍ରଭୁ । ଗତକାଲି ଜ୍ୱରରୁ ସୁସ୍ଥ ହୋଇଛନ୍ତି ଜଗତର ନାଥ ଜଗନ୍ନାଥ । ମହାପ୍ରଭୁଙ୍କ ସୁସ୍ଥ ଖବର ନେଇ ରାଜ ପ୍ରସାଦରେ ପହଞ୍ଚିଥିଲେ ସେବାୟତ। ଶ୍ରୀଜିଉଙ୍କ ଅସୁସ୍ଥ ସମୟରେ ଗୁପ୍ତ ଉପଚାର ଚାଲୁଥିଲା । ଜ୍ବରରେ ପୀଡ଼ିତ ମହାପ୍ରଭୁ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ମହାପ୍ରଭୁଙ୍କ ଅଣସରର ଆଜି ତ୍ରୟୋଦଶୀ ତିଥି। ଆଜି ଶ୍ରୀଜିଉଙ୍କର ଘଣା ଓ ଖଳି ପ୍ରସାଦ ନୀତି କରାଯିବ । ଅଣସର ତ୍ରୟୋଦଶୀରେ ଘଣା ଲାଗି ଓ ଶ୍ରୀପୟର ମୁଦ ଉପଲକ୍ଷେ ପାଟଡୋର , ଖଳି ପ୍ରସାଦ ଓ ଖଡ଼ି ପ୍ରସାଦ ଲାଗି ହେବ ।ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀଜୀଉମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି କରାଯିବ।

ଘଣ୍ଟ, ଛତା, କାହାଳି ସହ ଖଳି ପ୍ରସାଦ ଶୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯିବ। ଶୁଦ୍ଧ ସୁଆରଙ୍କଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୁପା ପିଂଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିବେ। ଖଳି ଲାଗି ପୂର୍ବରୁ ପ୍ରଭୁଙ୍କ ଘଣା ଲାଗି ଗୋପନ ନୀତି ସଂପନ୍ନ ହେବ। ଏହାପୂର୍ବରୁ ନୂତନ ବିଗ୍ରହଙ୍କୁ ଗୋପନ ସେବାରେ ରକ୍ତ ବସ୍ତ୍ର ଆବରଣ କରାଯିବ। ଗୋପନୀୟତା ରକ୍ଷା କରି ଦଇତା ଓ ପତିମହାପାତ୍ର ସେବକମାନେ ଏକ ସ୍ୱତନ୍ତ୍ର ଶୈଳିରେ ଶ୍ରୀଜିଉଙ୍କୁ ରକ୍ତବସ୍ତ୍ର ଆବରଣ କରିବେ। ନବଯୌବନ ଦର୍ଶନ ପୂର୍ବରୁ ଶ୍ରୀବିଗ୍ରହମାନଙ୍କ ଶ୍ରୀଅଙ୍ଗରେ ଶେଷ ଦଫାରେ ବିଳମ୍ବିତ ରାତିରେ ଖଳି ଲାଗି କରାଯିବ। ଏହି ଖଳିକୁ ଶୁଦ୍ଧ ସୁଆର ମାନେ ନିଜ ନିଜ ବାସଭବନରେ ଶୁଦ୍ଧପୁତ ଭାବେ ପ୍ରସ୍ତୁତ କରିଥାନ୍ତି।

ବିଜେ କାହାଳି, ବଜୟନ୍ତ୍ରୀ,ଘଣ୍ଟଛତା ସହ ଶୋଭାଯାତ୍ରାରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗିନିମନ୍ତେ ତିନି ଶୁଦ୍ଧ ସୁଆର ଅଧିବାସିତ ଖଳି ପ୍ରସାଦକୁ (ଦିବ୍ୟ ପ୍ରଲେପ) ଶ୍ରୀମନ୍ଦିରକୁ ବିଜେ କରାଇବେ। ଏହା ପୂର୍ବରୁ ଏହି ଖଳିକୁ ଶୁଦ୍ଧ ସୁଆରଙ୍କ ବାସ ଭବନରେ ଖଳି ହାଣ୍ଡିକୁ ମହିଳାମାନେ ବନ୍ଦାପନା କରିବେ। ବିଜେ କାହାଳି ବାଜିବା ପରେ ବରକନ୍ଦାଜଙ୍କ ସୁରକ୍ଷା ବଳୟ ଭିତରେ ପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଖଳି ଶ୍ରୀମନ୍ଦିରକୁ ବିଜେ କରିବ।

Leave a Reply

Your email address will not be published. Required fields are marked *